ସବୁ ଜୀବନ ମୂଲ୍ୟବାନ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩/୬(ଏସଏସନିୟୁଜ) ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକରେ ଅଧ୍ୟକ୍ଷତା କରି ବିପର୍ଯ୍ୟୟ ପ୍ରସ୍ତୁତି ଓ ପରିଚାଳନାରେ ରାଜ୍ୟ ସରକାରଙ୍କ ଆଭିମୁଖ୍ୟକୁ ସ୍ପଷ୍ଟ କରିଛନ୍ତି।ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମହାମାରୀର ପ୍ରଭାବ ସତ୍ତ୍ବେ ଓଡିଶା ବିଭିନ୍ନ ବିପର୍ଯ୍ୟୟ ର ଉତ୍ତମ ମୁକାବିଲା କରି ବିଶ୍ବସ୍ତରରେ ପ୍ରଶଂସାର ପାତ୍ର ହୋଇପାରିଛି । ବିପର୍ଯ୍ୟୟ ପରିଚାଳନା ପାଇଁ ଆମର ନୀତି ହେଉଛି ‘ସବୁ ଜୀବନ ମୂଲ୍ୟବାନ’ । ଏହାସହିତ ସରକାରଙ୍କ ସବୁ ବିଭାଗ ସମନ୍ବିତ ଭାବେ କାମ କରିବାର ଆଭିମୁଖ୍ୟ ନେଇ (Whole of Government Approach) ନେଇ ଆମର ବିପର୍ଯ୍ୟୟ ପରିଚାଳନା ନୀତି କାର୍ଯ୍ୟକାରୀ କରାଯାଉଛି। ଏହାଦ୍ବାରା ସବୁଠାରୁ ଭଲ ପଦକ୍ଷେପ ନିଆଯାଇ ବିପର୍ଯ୍ୟୟ ପ୍ରଭାବକୁ କମ୍ କରାଯାଇପାରିବ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଆମ ଦେଶରେ ସବୁଠାରୁ ବିପର୍ଯ୍ୟୟ ପ୍ରବଣ ରାଜ୍ୟ ମାନଙ୍କ ମଧ୍ୟରେ ଅନ୍ୟତମ । ବନ୍ୟା, ବାତ୍ୟା, ମରୁଡି ଆଦି ବିଭିନ୍ନ ପ୍ରକାର ବିପର୍ଯ୍ୟୟ ଆମେ ନିୟମିତ ଭାବରେ ସାମ୍‌ନା କରିଆସୁଛୁ । ଜଳବାୟୁ ପରିବର୍ତ୍ତନ ଯୋଗୁ ବିପର୍ଯ୍ୟୟ ର ତୀବ୍ରତା ବଢିବା ସହିତ ଅଧିକ ସଂଖ୍ୟକ ବିପର୍ଯ୍ୟୟ ଦେଖାଦେଉଛି । ୨୦୨୦-୨୧ରେ ଆମ ରାଜ୍ୟ ମହାବାତ୍ୟା ଅମ୍ଫନ ଓ ବାତ୍ୟା ୟାସ୍‌ର ସାମ୍‌ନା କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ବର୍ତ୍ତମାନ ଓଡିଶାରେ ଦକ୍ଷିଣ ପଶ୍ଚିମ ମୌସୁମୀ ପ୍ରଭାବ ଆରମ୍ଭ ହୋଇଗଲାଣି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜୁନ୍‌ରୁ ଅକ୍ଟୋବର ପର୍ଯ୍ୟନ୍ତ ଗୁରୁତ୍ବପୂର୍ଣ୍ଣ ସମୟ । ଏହି ସମୟରେ ବାତ୍ୟା, ବନ୍ୟା ଆଦି ପ୍ରାକୃତିକ ବିପର୍ଯ୍ୟୟ ଦେଖା ଦେଇପାରେ । ସମ୍ଭାବ୍ୟ ବିପର୍ଯ୍ୟୟ କୁ ଆଖିଆଗରେ ରଖି ଆମର ପ୍ରସ୍ତୁତି ବ୍ୟବସ୍ଥାକୁ ସମୀକ୍ଷା କରି ଯେକୌଣସି ପ୍ରକାର ପରିସ୍ଥିତିର ସାମ୍‌ନା କରିବାକୁ ସଂପୂର୍ଣ୍ଣ ଭାବରେ ପ୍ରସ୍ତୁତ ରହିବାକୁ ପଡିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।ପ୍ରାକ୍ ସୂଚନା ବ୍ୟବସ୍ଥା, ଉଦ୍ଧାର ଓ ରିଲିଫ କାର୍ଯ୍ୟକ୍ରମ , ପାନୀୟ ଜଳ ଯୋଗାଣ, ସ୍ବାସ୍ଥ୍ୟ ଓ ପ୍ରାଣୀସେବା ଆଦି ସମସ୍ତ ବ୍ୟବସ୍ଥା ଠିକ୍ ଭାବେ ପ୍ରସ୍ତୁତ ରହିବା ଆବଶ୍ୟକ। ସବୁ ଜିଲ୍ଲା ଓ ସଂପୃକ୍ତ ବିଭାଗ ଗୁଡିକରେ କଣ୍ଟ୍ରୋଲ ରୁମ୍ ଗୁଡିକ ୨୪ ଘଣ୍ଟା ଖୋଲା ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
ଏହି ଆଲୋଚନାରେ ସାଂସଦ ଶ୍ରୀ ଚନ୍ଦ୍ରଶେଖର ସାହୁ, ବିଧାୟକ ଶ୍ରୀ ନରସିଂହ ମିଶ୍ର,ବିଧାୟକ ଶ୍ରୀ ଜୟନ୍ତ ଷଡଙ୍ଗୀ, ବିଧାୟକ ଶ୍ରୀ ପ୍ରତାପ କେଶରୀ ଦେଓ, ବିଧାୟକ ଶ୍ରୀ ଅନନ୍ତ ଦାସ ପ୍ରମୁଖ ଭାଗ ନେଇ ବିପର୍ଯ୍ୟୟ ମୁକାବିଲା ନିମନ୍ତେ ସେମାନଙ୍କର ସୁଚିନ୍ତିତ ମତାମତ ଦେଇଥିଲେ ।ଅର୍ଥ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ ପ୍ରାରମ୍ଭିକ ଭାଷଣ ଓ ସ୍ବତନ୍ତ୍ର ରିଲିଫ କମିଶନର ଶ୍ରୀ ପି.କେ. ଜେନା ଧନ୍ୟବାଦ ଅର୍ପଣ କରିଥିଲେ ।

Comments (0)
Add Comment