ଚାଷୀକୁ ମିଳିଲା ସୁବର୍ଣ୍ଣରେଖା ପାଣି

0 166

ଭୁବନେଶ୍ୱର୧୯/୭(ଏସଏସନିୟୁଜ) ଆଜି ମୟୂରଭଞ୍ଜ ଜିଲ୍ଲାର ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପର କେନାଲ ସିଷ୍ଟମରୁ ୧୫,୩୫୯ ହେକ୍ଟର ଚାଷ ଜମିକୁ ପାଣି ଛଡା ଯାଇଛି । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିଛନ୍ତି । ଏହାଦ୍ଵାରା ମୟୂରଭଞ୍ଜ ଜିଲ୍ଲାର ବାରିପଦା, ବେତନଟୀ, ମୋରଡା, ଶୂଳିଆପଦା ଓ ରାସଗୋବିନ୍ଦପୁର ବ୍ଲକର ୯୪ଟି ଗ୍ରାମର ଚାଷ ଜମିକୁ ଜଳସେଚନର ସୁବିଧା ମିଳିଲା । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ଆଜି ମୟୂରଭଞ୍ଜ ଜିଲ୍ଲା ଓ ସାରା ଓଡିଶା ପାଇଁ ଏକ ଆନନ୍ଦର ଦିନ । ଏହା ଦ୍ଵାରା ମୟୂରଭଞ୍ଜରେ ଜମିରେ ସୁନାର ଫସଲ ଫଳିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପ ଦ୍ଵାରା ମୟୂରଭଞ୍ଜ ଓ ବାଲେଶ୍ଵରର ୧.୦୯ ଲକ୍ଷ ହେକ୍ଟର ଜମିକୁ ଜଳସେଚନର ସୁବିଧା ମିଳିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ମୟୂରଭଞ୍ଜ ତାଙ୍କ ପାଇଁ ସ୍ଵତନ୍ତ୍ର ଗୁରୁତ୍ଵ ବହନ କରେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମୟୂରଭଞ୍ଜରେ ସ୍ୱାସ୍ଥ୍ୟସେବାର ବିକାଶ ହେଉ ବା ମିଶନଶକ୍ତି କାର୍ଯ୍ୟର ସଫଳ ରୂପାୟନ ହେଉ ବା ଜନଜାତି ମାନଙ୍କର ବିକାଶ ସବୁ କ୍ଷେତ୍ରରେ ମୟୂରଭଞ୍ଜ ଆଜି ଉନ୍ନତି କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ସବୁ ଘରକୁ ସବୁ ପରିବାରକୁ ପାଇପ ପାଣି ଯୋଗାଇବାରେ ଦେଶର ଅଳ୍ପ କେତେକ ଜିଲ୍ଲା ମଧ୍ୟରୁ ମୟୂରଭଞ୍ଜ ଦେଶର ପ୍ରଥମ ଜିଲ୍ଲା ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ମୟୂରଭଞ୍ଜରେ ପାଇପ ପାଣି ପ୍ରକଳ୍ପ ପାଇଁ ୭୬୮ କୋଟି ଟଙ୍କା ଖର୍ଚ୍ଚ କରାଯାଉଛି ବୋଲି ସେ ସୂଚନା ଦେଇଥିଲେ । ଜଳ ଏକ ଅମୂଲ୍ୟ ସମ୍ପଦ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏହାକୁ ନଷ୍ଟ ନ କରି ଠିକ ଭାବେ ବିନିଯୋଗ କରିବାକୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ସରକାର ସବୁବେଳେ ଚାଷୀଙ୍କ ସାଥିରେ ଅଛି ଓ ସେମାନଙ୍କ ଉନ୍ନତି ପାଇଁ କାମ କରୁଛି । କାଳିଆ ଯୋଜନାରେ ୬୭ ଲକ୍ଷ ଚାଷୀ ପରିବାର ଉପକାର ପାଉଛନ୍ତି ବୋଲି ପ୍ରକାଶ କରି ସେ କହିଥିଲେ ଯେ ସରକାରଙ୍କ ବିଭିନ୍ନ କୃଷିକଲ୍ୟାଣ କାର୍ଯ୍ୟକ୍ରମ ଯୋଗୁ ଚାଷୀ ଆଜି ସମ୍ମାନର ସହ ବଞ୍ଚି ପାରୁଛି। ଚାଷୀକୁ ତାର ହକ ଦେବା ଆମର ଲକ୍ଷ ଏବଂ ଚାଷୀର ହକ ମିଳିଲା ପର୍ଯ୍ୟନ୍ତ ଆମର ଲଢେଇ ଜାରି ରହିବ ବୋଲି ସେ ଦୃଢୋକ୍ତି ପ୍ରକାଶ କରିଥିଲେ ।
ଏହି କାର୍ଯ୍ୟକ୍ରମରେ ପଞ୍ଚାୟତିରାଜ ଓ ପାନୀୟ ଜଳ , ଆଇନ , ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା, ଜଳସମ୍ପଦ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ ଉପସ୍ଥିତଥିବାବେଳେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଞ) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

Leave A Reply

Your email address will not be published.