କାଳିଆ ଯୋଜନା ମୋର ସବୁଠାରୁ ପ୍ରିୟ ଯୋଜନା – ମୁଖ୍ୟମନ୍ତ୍ରୀ

0 482

ଭୁବନେଶ୍ୱର,୩୦/୬(ଏସଏସନିୟୁଜ) ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କାଳିଆ ଯୋଜନା ଅନ୍ତର୍ଗତ ଭୂମିହୀନ କୃଷକ ପରିବାର ମାନଙ୍କୁ ୩୮୬ କୋଟି ଟଙ୍କାର ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା ପ୍ରଦାନ କରିଛନ୍ତି । ଏହାଦ୍ବାରା ୧୮ ଲକ୍ଷ ଭୂମିହୀନ କୃଷକ ପରିବାର ଉପକାର ପାଇବେ। ଏଥିରେ ପ୍ରତେକ ଭୂମିହୀନ ଚାଷୀ କାଳିଆ ଯୋଜନାର କିସ୍ତି ସହିତ ଅତିରିକ୍ତ ଭାବେ ୧୦୦୦ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା ଅନ୍ତର୍ଭୁକ୍ତ ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଉଦବୋଧନ ଦେଇ କହିଛନ୍ତି ଯେ ରାଜ୍ୟର ୧୮ ଲକ୍ଷ ଭୂମିହୀନ ଚାଷୀ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା ପ୍ରଦାନ କରି ସେ ବହୁତ ଖୁସି। ଚାଷୀ, ଶ୍ରମିକ ଓ ମଜଦୁର ମାନଙ୍କ ପରି ଖଟିଖିଆ ବର୍ଗ ହେଉଛନ୍ତି ଆମ ଅର୍ଥନୀତି ନାଭିକେନ୍ଦ୍ର (Nucleus) । ଏ ସମସ୍ତଙ୍କ ତ୍ୟାଗ ହିଁ ଆମ ଅର୍ଥନୀତି କୁ ସମୃଦ୍ଧ କରିଥାଏ । କୃଷି କ୍ଷେତ୍ରର ସବୁ ସଫଳତା ପଛରେ ଭୂମିହୀନ ଚାଷୀ ର ତ୍ୟାଗ ଓ ପରିଶ୍ରମ ରହିଛି ବୋଲି ମତ ବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମେ ତା’ର ତ୍ୟାଗକୁ ସମ୍ମାନ କରୁ । ତା’ର ସ୍ଵାର୍ଥର ସୁରକ୍ଷା ପାଇଁ ଆମର ଲଢେଇ ଜାରି ରହିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ M S Swaminathan Committee ର ସୁପାରିସ କୁ କାର୍ଯ୍ୟକାରୀ କରିବା ପାଇଁ ମୁଁ ସବୁବେଳେ ଦାବି କରି ଆସିଛି ଏବଂ ଏହା ପୂରଣ ହେଲା ପର୍ଯ୍ୟନ୍ତ ତ ଆମର ଲଢେଇ ଜାରି ରହିବ ବୋଲି ସେ ଦୃଢୋକ୍ତି ପ୍ରକାଶ କରିଥିଲେ ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଚାଷୀ ହେଉଛନ୍ତି ଆମର ଗର୍ବ ଓ ଗୌରବ । ତେଣୁ ଚାଷୀର ସ୍ଵାର୍ଥର ସୁରକ୍ଷା ସବୁବେଳେ ତାଙ୍କର ପ୍ରାଥମିକତା ହୋଇ ରହି ଆସିଛି ବୋଲି ସେ ପ୍ରକାଶ କରିଥିଲେ । କାଳିଆ ଯୋଜନା ଯୋଗୁଁ ରାଜ୍ୟର ଲକ୍ଷ ଲକ୍ଷ ଚାଷୀ ପରିବାର ମୁହଁରେ ହସ ଆଣିଛି ଓ ମନରେ ଭରସା ଦେଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏଥିପାଇଁ ,” କାଳିଆ ଯୋଜନା ମୋର ସବୁଠାରୁ ପ୍ରିୟ ଯୋଜନା । ଏହି କାର୍ଯ୍ୟକ୍ରମରେ କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ଅରୁଣ ସାହୁ କୃଷି ଓ କୃଷକ ମାନଙ୍କ ଉନ୍ନତି ପାଇଁ ରାଜ୍ୟ ସରକାର ନେଇଥିବା ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ କରିଥିଲେ । କୃଷକ ମାନଙ୍କ ସ୍ଵାର୍ଥର ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂର ଦୃଷ୍ଟି ଓ ଦୃଢ ନେତୃତ୍ଵର ସେ ଉଚ୍ଚ ପ୍ରଶଂସା କରିଥିଲେ ।
କାର୍ଯ୍ୟକ୍ରମରେ କାଳିଆ ଯୋଜନା ଓ ଭୂମିହୀନ ଚାଷୀ ମାନଙ୍କ ସମ୍ପର୍କରେ ଏକ କ୍ଷୁଦ୍ର ଭିଡିଓ ଚିତ୍ର ପ୍ରଦର୍ଶନ କରଯାଇଥିଲା । ଏହି ଅବସରରେ ମୁଖ୍ୟମନ୍ତ୍ରୀ ୩ ଜଣ ଭୂମିହୀନ ଚାଷୀଙ୍କ ସହିତ କାଳିଆ ଯୋଜନାର ସୁଫଳ ବିଷୟରେ ଆଲୋଚନା କରିଥିଲେ । ଏହି ସହାୟତା ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟ ରେ ସିଧାସଳଖ ଜମା କରାଯାଇଛି ।କାଳିଆ ଯୋଜନାରେ ଚାଷୀମାନେ ୩ ଟି କିସ୍ତି ରେ ୧୨,୫୦୦ ଟଙ୍କା ପାଇଥାନ୍ତି । ସୂଚନାଯୋଗ୍ୟ ଯେ ବଳରାମ ଯୋଜନାରେ ମଧ୍ୟ ଭୂମିହୀନ ଚାଷୀ ମାନଙ୍କୁ ବିଭିନ୍ନ ପ୍ରକାର ଆନୁଷଙ୍ଗିକ କାର୍ଯ୍ୟ ୟ ପାଇଁ କୃଷିଋଣ ସହାୟତା ଯୋଗାଇ ଦିଆଯାଉଛି । ମୁଖ୍ୟମନ୍ତ୍ରୀଙ୍କ ସଚିବ(5T) ଶ୍ରୀ ଭି . କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ । କୃଷି ବିଭାଗ କମିଶନର ତଥା ସଚିବ ଶ୍ରୀ ଏସ . କେ ବଶିଷ୍ଠ ସ୍ଵାଗତ ଭାଷଣ ଦେଇଥିଲେ ଏବଂ କୃଷି ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର‌୍ୟ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର , କୃଷି ଉତ୍ପାଦନ କମିଶନର ଏବଂ ୩୦ ଟି ଜିଲ୍ଲା ର ଭୂମିହୀନ ଚାଷୀ ମାନେ ଭିଡିଓ କାନଫରେନସିଂ ଜରିଆରେ ଯୋଗ ଦେଇଥିଲେ ।

 

Leave A Reply

Your email address will not be published.