ମୟୁରଭଞ୍ଜ ଜିଲ୍ଲା ପାଇଁ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

0 198

ଭୁବନେଶ୍ୱର,୨୨/୧୦(ଏସ ଏସ ନିୟୁଜ)ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ମୟୁରଭଞ୍ଜ ଜିଲ୍ଲା ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ୨୧ ଲକ୍ଷ ୪୦ ହଜାର ଲୋକ ଏହି ସୁବିଧା ପାଇବେ । ଏହି ଅବସରରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସେପ୍ଟେମ୍ବର ୨୦୨୧ ଓଡିଶାର ସ୍ବାସ୍ଥ୍ୟ ସେବା ଇତିହାସରେ ଏକ ନୂଆ ଯୁଗ ଆରମ୍ଭ କରିଛି। ସେପ୍ଟେମ୍ବର ପହିଲାରୁ ଓଡିଶାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ଜରିଆରେ ସ୍ବାସ୍ଥ୍ୟ ସେବା ପ୍ରଦାନ ଆରମ୍ଭ ହୋଇଛି। ଏହି କାର୍ଡଟି ବିପଦ ସମୟର ପ୍ରକୃତ ବନ୍ଧୁ ବୋଲି କହିଥିଲେ । ଏହାଦ୍ବାରା ଜନସାଧାରଣଙ୍କ ଜୀବନରେ ବଡ ପରିବର୍ତ୍ତନ ଆଣିବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଥିଲେ ।
ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ । ଏହାଦ୍ବାରା ଆମର ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ।
ମୟୁରଭଞ୍ଜ ଜିଲ୍ଲାରେ ବିକାଶ କାମକୁ ତ୍ବରାନ୍ବିତ କରାଯାଉଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଗତ ଜୁଲାଇରେ ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପରେ କେନାଲରୁ ପାଣି ଛଡା ଯାଇଥିବା ବେଳେ, ୯୪ଟି ଗାଁର ୧୫ ହଜାର ହେକ୍ଟର ଜମି ପାଣି ପାଉଛି। ସେହିପରି ମୟୁରଭଂଜର ସବୁ ପରିବାରକୁ ପାଇପ ପାଣି ଯୋଗାଇ ଦେବା ପାଇଁ ୩୨୦୦ କୋଟି ଟଙ୍କାର ମେଗା ପାଇପ ପାଣି ପ୍ରକଳ୍ପ କାର୍ଯ୍ୟକାରୀ କରାଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହି ଧାରାକୁ ଆଗେଇ ନେଇ ଆଜି ଆହୁରି ୨୩୦୦ କୋଟି ଟଙ୍କାର ୫୦୦ରୁ ଅଧିକ ପ୍ରକଳ୍ପର ଉଦ୍ଘାଟନ ଓ ଭିତ୍ତିପ୍ରସ୍ତର ଦିଆଯାଉଛି ବୋଲି ସେ ପ୍ରକାଶ କରିଥିଲେ ।ମୟୁରଭଞ୍ଜର କଳା ଓ ସାହିତ୍ୟର ଉଚ୍ଚପ୍ରଶଂସା କରିଥିଲେ।
କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବ ଦାସ, ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା, ରାଜସ୍ବ ମନ୍ତ୍ରୀ ଶ୍ରୀ ସୁଦାମ ମାର୍ଣ୍ଡି ପ୍ରମୁଖ ଯୋଗ ଦେଇ ରାଜ୍ୟରେ ସ୍ବାସ୍ଥ୍ୟ ସେବାର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରତିବଦ୍ଧତାର ଉଚ୍ଚପ୍ରଶଂସା କରିଥିଲେ । BSKY Smart Card ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟ ଯୋଗାଇ ଦେବା ପାଇଁ ଏକ ଐତିହାସିକ ପଦକ୍ଷେପ ବୋଲି ସେମାନେ ବର୍ଣ୍ଣନା କରିଥିଲେ ।

Leave A Reply

Your email address will not be published.